1 ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା।
2 ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
3 ଅନନ୍ତର ସେମାନେ ପରସ୍ପର କହିଲେ, ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ। ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
4 ପୁଣି ସେମାନେ କହିଲେ, ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।
5 ଅନନ୍ତର ମନୁଷ୍ୟସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
6 ପୁଣି ସଦାପ୍ରଭୁ କହିଲେ, ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରୁ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
7 ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।
8 ଏହିରୂପେ ସଦାପ୍ରଭୁ ସେସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
9 ଏନିମନ୍ତେ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେ ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି ସେ ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
10 ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।
11 ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
12 ପୁଣି ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
13 ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରିଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।
14 ପୁଣି ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।
15 ଏବରର ଜନ୍ମ ଉତ୍ତାରେ ଶେଲହ ଚାରିଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
16 ପୁଣି ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗକୁ ଜାତ କଲା।
17 ପେଲଗର ଜନ୍ମ ଉତ୍ତାରେ ଏବର ଚାରିଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
18 ପେଲଗ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା।
19 ରୀୟୂର ଜନ୍ମ ଉତ୍ତାରେ ପେଲଗ ଦୁଇଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
20 ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା।
21 ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
22 ପୁଣି ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।
23 ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
24 ପୁଣି ନାହୋର ଊନତ୍ରିଂଶ ବର୍ଷ ବୟସରେ ତେରହକୁ ଜାତ କଲା।
25 ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣାଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
26 ପୁଣି ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।
27 ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି ସେହି ହାରଣ ଲୋଟକୁ ଜାତ କଲା;
28 ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର ନାମକ ଆପଣା ଜନ୍ମଦେଶରେ ମଲା।
29 ଅନନ୍ତର ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।
30 ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।
31 ଅନନ୍ତର ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂକୁ ସଙ୍ଗରେ ନେଲା; ଆଉ ସେସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
32 ପୁଣି ତେରହ ହାରଣ ନଗରରେ ଥାଇ ଦୁଇଶହ ପାଞ୍ଚ ବର୍ଷ ବୟସରେ ମଲା।