1 ତୁମ୍ଭେ କି ବଡ଼ଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର ? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର ?

2 ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇପାର ? ଅବା ବଡ଼ଶୀରେ ତାହାର ଥୋମଣୀ ଫୋଡ଼ିପାର ?

3 ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ ?

4 ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ ?

5 ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ ?

6 ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟଦ୍ରବ୍ୟ କରିବେ ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ ?

7 ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର ?

8 ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ ।

9 ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ ?

10 ତାହାକୁ ଯେ ଜଗାଇବ,ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ?

11 କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା ? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର ।

12 ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ ।

13 ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ ?

14 କିଏ ତାହାର ମୁଖରୁ କବାଟ ଫିଟାଇପାରେ ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ ।

15 ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି ।

16 ଏକ ଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରି ପାରେ ନାହିଁ ।

17 ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇ ପାରେ ନାହିଁ ।

18 ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ ।

19 ତାହାର ମୁଖରୁ ଜ୍ୱଳ; ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ ।

20 ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ ।

21 ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ ।

22 ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ ।

23 ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ ।

24 ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼ ।

25 ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି ।

26 କେହି ତାହା ଉପରେ ଖଡ଼୍‍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍‍ଣ ତୀର ବିଫଳ ହୁଏ ।

27 ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ ।

28 ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ- ପଥର ତାହା ପ୍ରତି ନଡ଼ା ପରି ହୁଏ ।

29 ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ ।

30 ତାହାର ନିମ୍ନଭାଗ ତୀକ୍ଷ୍‍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ ।

31 ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ ।

32 ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱକେଶ ହେଲା;

33 ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ ।

34 ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ ।