1 ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
2 ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ଆସନରେ ବସିଅଛନ୍ତି |।
3 ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ |।
4 ସେମାନେ ଗୁରୁ ଭାର ବନ୍ଧନ କରି ମନୁଷ୍ୟମାନଙ୍କ ସ୍କନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ |।
5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟା କର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
6 ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜ ଗୃହରେ ପ୍ରଧାନ ଆସନ,
7 ପୁଣି ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି |।
8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି ତୁମ୍ଭେମାନେ ସମସ୍ତେ ଭାଇ |।
9 ଆଉ ପୃଥିବୀରେ କାହାକୁହିଁ ପିତା ବୋଲି ସମ୍ବୋଧନ କର ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି |।
10 ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ |।
11 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ |।
12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି ଯେ କେହି ଆପଣକୁ ନତ କରେ ତାହାକୁ ଉନ୍ନତ କରାଯିବ |।
13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ରୁଦ୍ଧ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁନାହଁ, ପୁଣି ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ |।
14 [ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ |]।
15 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଆପେକ୍ଷା ଦୁଇଗୁଣ ନରକରପାତ୍ର କରୁଥାଅ |।
16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ଦ୍ୱାରା ଆବଦ୍ଧ |।
17 ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କେଉଁଠି ଶ୍ରେଷ୍ଠ।
18 ଆହୁରି କହୁଥାଅ, କେହି ଯଜ୍ଞବେଦୀର ଶପଥ କଲେ ତାହା କିଛି ନୁହେ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ଦ୍ୱାରା ଆବଦ୍ଧ |।
19 ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ଯଜ୍ଞବେଦି, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ।
20 ଅତଏବ ଯେଉଁ ଲୋକ ଯଜ୍ଞବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;
21 ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;
22 ପୁଣି ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ୱରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ |।
23 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମୋହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହିସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ |।
24 ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ |।
25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ପରିସ୍କାର କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୁର୍ଣ୍ଣ |।
26 ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ପରିଷ୍କାର କର, ଯେପରି ସେଥିର ବାହାର ମଧ୍ୟ ପରିଷ୍କୃତ ହେବ |।
27 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଶୁକ୍ଳୀକୃତସମାଧି ସରୂପ | ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
28 ଶି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୁର୍ଣ୍ଣ |।
29 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସୁଶୋଭିତ କରି କହୁଥାଅ,
30 ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ |।
31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ସମ୍ବନ୍ଧରେ ତୁମ୍ଭେମାନେହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ |।
32 ତୁମ୍ଭେମାନେ ନିଜ ନିଜ ପିତୃପୁରୁଷଙ୍କର ପରିମାଣ ପୁର୍ଣ୍ଣ କର |।
33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନରକଦଣ୍ଡରୁ ରକ୍ଷା ପାଇବ।
34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନେଙ୍କ ମଧ୍ୟରୁ କାହାକାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କୃଶରେ ବଧ କରିବ, ଆଉ କାହାକାହାକୁ ତୁମ୍ଭମାନଙ୍କସମାଜଗୃହରେ କରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବରଖିୟଙ୍କ ପୁତ୍ର ଜିଖରିୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ରସ୍ଥାନ ଓ ଯଜ୍ଞବେଦିର ମଧ୍ୟସ୍ଥଳରେ ବଧ କଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହିସମସ୍ତ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ |।
36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହିସମସ୍ତ ବର୍ତ୍ତିବ |।
37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଚା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ |।
38 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ିଦିଆଯାଉଅଛି |।
39 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ |।